୩ ତାରିଖରେ ସୃଷ୍ଟି ହେବ ପ୍ରଥମ ଲଘୁଚାପ, ୧ରୁ ୬ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର (ସଂକେତ ଟିଭି): ଚଳିତ ମୌସୁମୀ ଋତୁର ପ୍ରଥମ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଆଗାମୀ ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି। ଏନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ବର୍ତ୍ତମାନ ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ସମୁଦ୍ର ପତ୍ତନଠାରୁ ପ୍ରାୟ ୧.୫ରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଜୁଲାଇ ୩ ତାରିଖରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ମୌସୁମୀର ସକ୍ରିୟତା ଓ ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧ ତାରିଖଠାରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ୨ ତାରିଖଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
