FeaturedLatestNews

ଲଘୁଚାପ କ୍ଷେତ୍ର ସୃଷ୍ଟି: ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ସଂକେତ ଟିଭି): ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ବୁଧବାର ଠାରୁ ଏହି ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହୋଇଛି।

ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଏହି ଲଘୁଚାପ ଅଧିକ ସକ୍ରିୟ ଓ ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍‌ଡି ବିଜ୍ଞପ୍ତିରେ ଦର୍ଶାଯାଇଛି। ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଜି ପାଇଁ ଏହି ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ଵର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ଏହି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି।

Leave a Reply

Your email address will not be published. Required fields are marked *