ଆସନ୍ତା ୧୨ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ନିଂ
ଭୁବନେଶ୍ଵର(ସଂକେତ୍ ଟିଭି): ଭାରତୀୟ ପାଣିପାଗ ବିଭାଗ ଓଡ଼ିଶା ପାଇଁ ଗୁରୁତ୍ୱପୂର୍ଣ୍ଣ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ନିଂ ଜାରି କରାଯାଇଛି।
ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ସେହିପରି ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ସମୁଦ୍ର ପତ୍ତନରୁ ୧.୫ରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ଅନ୍ୟ ଏକ ଉପରିସ୍ଥ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ଏହି ଘୂର୍ଣ୍ଣିବଳୟର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଶୁକ୍ରବାର ମଧ୍ୟ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ସମୁଦ୍ର ଉପରେ ପ୍ରବଳ ଝଡ଼ ବାୟୁ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
