FeaturedLatestNews

ଆଉ ୨ଟି ଲଘୁଚାପ, ୧୩-୧୯ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର(ସଂକେତ୍ ଟିଭି): ବଙ୍ଗୋପସାଗର ଏବଂ ଓଡ଼ିଶାର ଉତ୍ତର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ଆସନ୍ତା ୧୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ (IMD)ର ଆକଳନ ଅନୁଯାୟୀ, ୧୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ପ୍ରଭାବରେ ୧୪ ତାରିଖରେ ଲଘୁଚାପ କ୍ଷେତ୍ର ଗଠନ ହେବ। ତେବେ ଏହି ସମ୍ଭାବ୍ୟ ଲଘୁଚାପର ଗତିପଥ, ତୀବ୍ରତା ଏବଂ କେଉଁ ଅଞ୍ଚଳରେ କେତେ ବର୍ଷା ହେବ, ସେନେଇ ଏବେଠାରୁ ସ୍ପଷ୍ଟ ଚିତ୍ର ମିଳିନାହିଁ।

ଆସନ୍ତା ୧୩ରୁ ୧୯ ତାରିଖ ଯାଏଁ ଓଡ଼ିଶା ସମେତ ପୂର୍ବ ଓ ଉତ୍ତର-ପୂର୍ବ ଭାରତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳ, ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର ୧୭ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଇଏମଡି ୪ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଅନ୍ୟ ପ୍ରାୟ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟରେ ରଖାଯାଇଛି। ଆଜି ୨୦ରୁ ଅଧିକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।