ବାତ୍ୟା ଅକଭାନ: ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ୧୬ ଜିଲ୍ଲାରେ ବର୍ଷା ସତର୍କତା
ଭୁବନେଶ୍ୱର (ସଂକେତ ଟିଭି): ବଙ୍ଗୋପସାଗରରେ ଘନୀଭୂତ ହେଉଛି ବାତ୍ୟା ଅକଭାନ୍। ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖ ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାର ରୂପ ନେବା ସହ ନଭେମ୍ବର ୨୦ ତାରିଖ ମଧ୍ୟାହ୍ନରେ ଆନ୍ଧ୍ରପ୍ରଦେଶର ନେଲୋର ଓ ଟୁନି ମଧ୍ୟରେ ୟାନମ୍ ନିକଟବର୍ତ୍ତୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।
ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣରେ ପ୍ରାୟ ୭୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଥିବା ଏହି ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ଏବଂ ଝଟକା ପବନ ୧୪୫ କିଲୋମିଟର ପର୍ଯ୍ୟନ୍ତ ରହିବା ଆଶଙ୍କା କରାଯାଉଛି।
ଏହା ପ୍ରଭାବରେ ୧୮ ତାରିଖରୁ ରାଜ୍ୟର ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇ ୧୯ ତାରିଖରେ ସାରା ରାଜ୍ୟରେ ବିସ୍ତୃତ ଭାବେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷକରି ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଏବଂ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ୨୧ ତାରିଖରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୮ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯିବା ସହ ଓଡ଼ିଶାର ସମସ୍ତ ବନ୍ଦର ପାଇଁ ୨ ନମ୍ବର ଦୂରବର୍ତ୍ତୀ ସତର୍କ ସୂଚନା ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।
