FeaturedLatestNews

ଟ୍ରପ ଲାଇନା ପ୍ରଭାବରେ ୭ ଦିନ ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ସଂକେତ ଟିଭି): ଟ୍ରପ ଲାଇନା ପ୍ରଭାବରେ ରାଜ୍ୟରେ ଆହୁରି ୭ ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବାହୁଡ଼ା ମଧ୍ୟ ଭିଜିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ପୁରୀରେ ଆଜି ଏବଂ କାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସୂଚନା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ପ୍ରଦାନ କରିଛନ୍ତି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ, ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାର ଆଶଙ୍କା ରହିଛି। ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ନେଇ ଏହି ଦୁଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ଥିବାରୁ ଏହି ୧୪ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ଗଂଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବ। ଏହି ସବୁ ସ୍ଥାନ ପାଇଁ ମଧ୍ୟ ୨୯ ତାରିଖ ଯାଏ ୟେଲୋ ୱାର୍ଣ୍ଣିଂ ଜାରି ରହିଛି।

ସେପଟେ ଉତ୍ତର ଓଡ଼ିଶା ଉପକୂଳରେ ୩୫ରୁ ୪୫ କିଲୋମିଟର ଓ ସର୍ବାଧିକ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି, ଯାହାଫଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

ଏହି ବର୍ଷା ପରିସ୍ଥିତି ମଧ୍ୟରେ, ଜୁନ ୧ ତାରିଖରୁ ଏପର୍ଯ୍ୟନ୍ତ ରାଜ୍ୟରେ ୫୩୬.୭ ମିଲିମିଟର ବର୍ଷା ହୋଇସାରିଛି, ଯାହା ସ୍ୱାଭାବିକ ବର୍ଷାଠାରୁ ୧୭ ପ୍ରତିଶତ ଅଧିକ। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଥିବା ବେଳେ, ସମ୍ବଲପୁର କୁଚିଣ୍ଡାରେ ସର୍ବାଧିକ ୬୦.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।