FeaturedLatestNews

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା: ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ସଂକେତ ଟିଭି): ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୯.୪ କିମି ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ତେଣୁ ଏହାର ପ୍ରଭାବରେ ଆଗାମୀ ୨ ଦିନ ବା ୪୮ ଘଣ୍ଟା ପର୍ଯ୍ୟନ୍ତ ଘଡ଼ଘଡ଼ି ଓ ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି ଓ କନ୍ଧମାଳକୁ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକରେ ଅତି ପ୍ରବଳ ବା ଭୀଷଣ ବର୍ଷାର ସମ୍ଭାବନା ରହିଛି।

ସେହିପରି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଏହି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହା ସହ ଶୁକ୍ରବାର ପାଇଁ କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗୀର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ବା ବ୍ରଜପାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ସମୟରେ ୩୦ରୁ ୫୦ କିମି ଝଟକା ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩ ଦିନ ଅର୍ଥାତ ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପରେ ବର୍ଷା କମିବା ସହ କୌଣସି ଚେତାବନୀ ନଥିବା ପୂର୍ବାନୁମାନ କରିଛି ବିଭାଗ।

ସେପଟେ ଓଡ଼ିଶା ଉପକୂଳରେ ୪୦ରୁ ୫୦, ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ମଧ୍ୟକୁ ଗୁରୁବାର ଓ ଶୁକ୍ରବାର ପାଇଁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି।